Top Stories
Search here...
News
୩୪ ଲକ୍ଷ୍ୟରୁ ଅଧିକ ଚାଷୀଙ୍କ ଖାତାକୁ କାଳିଆ ଯୋଜନାରେ ଗଲା ୬୯୩.୯୪ କୋଟି ଟଙ୍କା
Posted On - 2 weeks ago
ପିପିଲି ନିର୍ବାଚନ ଯୋଗୁଁ ପୁରୀ ବ୍ୟତୀତ ସବୁ ଜିଲ୍ଲାର ଚାଷୀଙ୍କୁ ବର୍ତ୍ତମାନ କାଳିଆ ସହାୟତା ଦିଆଯାଇଛି ।
BBSR Reporters
ଭୁବନେଶ୍ୱର: ନୂଆ ଆର୍ଥିକ ବର୍ଷରେ ଚାଷୀ କଲ୍ୟାଣ କାର୍ଯ୍ୟକ୍ରମ କାଳିଆରୁ କାମ ଆରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କାର୍ଯ୍ୟକ୍ରମ ଆରମ୍ଭ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆଜି ପବିତ୍ର ଓଡିଶା ଦିବସ । ଆମ ସମସ୍ତଙ୍କ ପାଇଁ ଏକ ଆନନ୍ଦର ଦିନ। ଏହି ଅବସରରେ ଆମର ଚାଷୀ ଭାଇ ଓ ଭଉଣୀ ମାନଙ୍କୁ ମୋର ଅଭିନନ୍ଦନ ଜଣାଇ ମୁଖ୍ୟମନ୍ତ୍ରୀ କହିଥିଲେ, ଆଜି ଠାରୁ ମଧ୍ୟ ଆମର ନୂଆ ଆର୍ଥିକ ବର୍ଷ ଆରମ୍ଭ ହେଉଛି। ମହାତ୍ମା ଗାନ୍ଧୀ ଓ ଗୋପବନ୍ଧୁଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇବା ପରେ ଚାଷୀଙ୍କ କଲ୍ୟାଣ କାର୍ଯ୍ୟକ୍ରମରୁ ହିଁ ମୁଁ ଆଜି ନୂଆ ଆର୍ଥିକ ବର୍ଷ ଆରମ୍ଭ କରୁଛି।
କାଳିଆ ଯୋଜନା ଆମର ଏକ ଗୁରୁତ୍ବପୂର୍ଣ୍ଣ ଚାଷୀ କଲ୍ୟାଣ କାର୍ଯ୍ୟକ୍ରମ। ଆଜି ଆମର ୩୪ ଲକ୍ଷ ଚାଷୀଙ୍କ ବ୍ୟାଙ୍କ ଖାତାକୁ କାଳିଆ ଯୋଜନାରେ ୭୦୦କୋଟି ଟଙ୍କା ଜମା କରାଗଲା। ଚାଷୀର ତ୍ୟାଗ ଓ ସ୍ବାଭିମାନ ହିଁ ଆଜି ଓଡିଶାର ସ୍ବାଭିମାନ ବୃଦ୍ଧି କରିଛି । ଓଡିଶାର ଚାଷୀ ଆଜି ଅନ୍ୟ ରାଜ୍ୟକୁ ଖାଦ୍ୟ ଯୋଗାଉଛି । କୃଷି କର୍ମଣ ପୁରସ୍କାର ପାଇ ଓଡିଶାକୁ ଗର୍ବିତ କରୁଛି । ୩୪ ଲକ୍ଷ୍ୟରୁ ଅଧିକ ଚାଷୀଙ୍କ ଖାତାକୁ କାଳିଆ ଯୋଜନାରେ ୬୯୩.୯୪ କୋଟି ଟଙ୍କା ରଵି ରୁତୁ ପାଇଁ ଜମା କରାଯାଇଛି ବୋଲି ସେ କହିଥିଲେ ।
ଚାଷୀକୁ ବିନା ସୁଧରେ ଋଣ, ନୂଆ କୃଷି ନୀତି ଆଦି ଅନେକ କାର୍ଯ୍ୟକ୍ରମ ଆମର ଚାଷୀ ଭାଇଙ୍କୁ ଉତ୍ସାହିତ କରିଛି । ଆମ ଚାଷୀ ଭାଇଭଉଣୀଙ୍କ ପାଇଁ ମୁଁ ଗର୍ବିତ। ଚାଷୀ ଆମ ଅର୍ଥନୀତିର ମହାଶକ୍ତି । କୋଭିଡ ସମୟରେ ଚାଷୀ ଭାଇ ହିଁ ଆମର ଅର୍ଥନୀତିକୁ ରକ୍ଷା କରିଛି । ତେଣୁ ଚାଷୀକୁ ଅଣଦେଖା କରି ବିକାଶ କଥା ଚିନ୍ତା କରାଯାଇ ନ ପାରେ । ମୁଁ ସବୁବେଳେ ଚାଷୀ ଭାଇଭଉଣୀ ମାନଙ୍କ ସହ ରହିଛି । ସେମାନଙ୍କ ପାଇଁ କାମ କରୁଛି ଓ କରି ଚାଲିବି । ଦେଢ ଗୁଣ MSP କାହାର ଦୟା ନୁହେଁ । ଏହା ଚାଷୀର ହକ୍ । ଚାଷୀକୁ ତାର ହକ୍ ଦେବାପାଇଁ ଆମର ଲଢେଇ ଜାରି ରହିଛି । ସବୁ କଠିନ ପରିସ୍ଥିତିରେ ଚାଷୀ ଦେଶ ପ୍ରତି ତାର ଦାୟିତ୍ବ ନିଷ୍ଠାର ସହ କରିଚାଲିଛି। ଚାଷୀର ତ୍ୟାଗ ଓ ପରିଶ୍ରମକୁ ପ୍ରଣାମ ଜଣାଉଛି । ମାଟି ମା ପାଇଁ ଚାଷୀର ତ୍ୟାଗ ଅମୂଲ୍ୟ। ବୋଲି ମୁଖ୍ୟମନ୍ତ୍ରୀ ବର୍ଣନା କରିଥିଲେ ।
କାର୍ଯ୍ୟକ୍ରମରେ ଯୋଗ ଦେଇ ମନ୍ତ୍ରୀ ଶ୍ରୀ ଅରୁଣ ସାହୁ କାଳିଆ ଯୋଜନାକୁ ଦେଶ ପାଇଁ ଏକ ମଡେଲ ଭାବରେ ବର୍ଣ୍ଣନା କରି ଚାଷୀଙ୍କୁ ଆଗକୁ ବଢିବା ପାଇଁ ସୁବର୍ଣ୍ଣ ସୁଯୋଗ ସୃଷ୍ଟି କରିଛି ବୋଲି କହିଥିଲେ । କୃଷି ଉତ୍ପାଦନ କମିଶନର ଶ୍ରୀ ରାଜକୁମାର ଶର୍ମା ସ୍ବାଗତ ଭାଷଣ ଦେଇଥିଲେ । ମୁଖ୍ୟମନ୍ତ୍ରୀ ଙ୍କ ସଚିବ 5T ଶ୍ରୀ ଭି କେ ପଣ୍ଡିଆନ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ । ଏହି କାର୍ଯ୍ୟକ୍ରମ ରେ ମୁଖ୍ୟ ଶାସନ ସଚିବ ଓ ବରିଷ୍ଠ ଅଧିକାରୀ ମାନେ ଯୋଗ ଦେଇଥିଲେ । ପିପିଲି ନିର୍ବାଚନ ଯୋଗୁଁ ପୁରୀ ବ୍ୟତୀତ ସବୁ ଜିଲ୍ଲା ର ଚାଷୀ ଙ୍କୁ ବର୍ତ୍ତମାନ କାଳିଆ ସହାୟତା ଦିଆଗଲା।